Jai Odisha
News

‘ବିଶ୍ୱ ହକି କପ୍‌ ଜିତିଲେ ଭାରତୀୟ ଖେଳାଳିଙ୍କୁ କୋଟିଏ ଟଙ୍କାର ପୁରସ୍କାର:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫ା୧ : ଭାରତୀୟ ହକି ଖେଳାଳିଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ   ବଡ଼ ଘୋଷଣା କରିଛନ୍ତି। ହକି ବିଶ୍ବକପ ଜିତିଲେ ପ୍ରତି ଖେଳାଳିଙ୍କୁ କୋଟିଏ ଟଙ୍କା ପୁରସ୍କାର ଦିଆଯିବ ବୋଲି ରାଉରକେଲାରେ ଖେଳାଳିଙ୍କୁ ଭେଟିବା ସମୟରେ ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।ସାରା ଓଡିଶା ପାଇଁ ଆଜି ଆନନ୍ଦ ଓ ଉତ୍ସବର ଦିନ। ଖୁସିର ଦିନ। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଉରକେଲା ଠାରେ ବିଶ୍ବର ସର୍ବବୃହତ ହକି ଷ୍ଟାଡିଅମ, ବିର୍ସା ମୁଣ୍ଡା ହକି ଷ୍ଟାଡିଅମ ଆନୁଷ୍ଠାନିକ ଭାବେ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ବିଶ୍ଵ କ୍ରୀଡା ଇତିହାସରେ ଯୋଡି ହେଲା ଏକ ସ୍ଵର୍ଣ୍ଣିମ ଅଧ୍ୟାୟ । ହକିକୁ ଭଲ ପାଉଥିବା ସମସ୍ତଙ୍କୁ, ଖେଳାଳୀ, ସାଧାରଣ ଜନତା, ଓଡିଶାର ହକିପ୍ରେମୀ ଦେଶର ହକି କ୍ରୀଡାବିତ୍‌ ସମସ୍ତଙ୍କ ଉଦ୍ଦେଶ୍ୟରେ ଏହି ଷ୍ଟାଡିଅମକୁ ମୁଁ ଉତ୍ସର୍ଗ କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ଏବଂ ହକିକୁ ଭଲ ପାଉଥିବା ସମସ୍ତଙ୍କୁ ହକି ବିଶ୍ଵ କପ୍ ଭବ୍ୟ ଉତ୍ସବରେ ସାମିଲ ହେବା ପାଇଁ ନିମନ୍ତ୍ରଣ କରିଥିଲେ। ବିଶ୍ଵ କପ୍ ଜିତିଲେ ପ୍ରତି ଭାରତୀୟ ଖେଳାଳିଙ୍କୁ ଏକ କୋଟି ଟଙ୍କା ଦିଆଯିବ ବୋଲି ଏହି ଅବସରରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଉପସ୍ଥିତ ଜନସାଧାରଣ ଓ କ୍ରୀଡାପ୍ରେମୀ ମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହା ହେଉଛି ଓଡିଶାର ସମଗ୍ର ଦେଶକୁ ସବୁଠାରୁ ଶ୍ରେଷ୍ଠ ଉପହାର। ଏହା ଭାରତକୁ ହକି କ୍ଷେତ୍ରରେ ଏକ ବଡ ଶକ୍ତି ଭାବରେ ଗଢି ତୋଳିବ ଏବଂ ଆଗାମୀ ଅନେକ ଦଶକ ପର୍ଯ୍ୟନ୍ତ ହକି ଖେଳରେ ଦେଶ ଏକ ମଜବୁତ ଦଳ ଭାବରେ ପ୍ରତିଷ୍ଠା ଲାଭ କରିବ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହକିର ସ୍ବର୍ଣ୍ଣକ୍ଷେତ୍ର ସୁନ୍ଦରଗଡରେ ଆଜି ବିଶ୍ବର ସବୁଠାରୁ ବଡ ଷ୍ଟାଡିଅମ ଓଡିଶା ମାଟିର ଗୌରବ ଗାନ କରୁଛି। ଏ ଷ୍ଟାଡିଅମ ସାରା ବିଶ୍ବ ପାଇଁ ହକିର ମୁଖ୍ୟ କେନ୍ଦ୍ର ହୋଇରହିବ ଏବଂ ଦେଶର ପ୍ରମୁଖ ଟିମ୍‌ ମାନଙ୍କୁ ସେମାନଙ୍କ ପ୍ରଦର୍ଶନ ପାଇଁ ସୁଯୋଗ ଦେଇଚାଲିବ। ଆମର ଏହି ଉଦ୍ୟମ ଦେଶର ଯୁବ ଖେଳାଳୀ ମାନଙ୍କୁ ପ୍ରେରଣା ଦେବ ବୋଲି ସେ କହିଥିଲେ। ଦେଶରେ ଅନେକ ଚମ୍ପିଆନ ସୃଷ୍ଟି କରିବ ଏବଂ ଦେଶ ତଥା ରାଜ୍ୟର ଗୌରବ ବୃଦ୍ଧି କରିଚାଲିବ ବୋଲି ସେ କହିଥିଲେ।

 

 

Leave A Reply

Your email address will not be published.